ଭୁବନେଶ୍ୱର ,୦୩/୦୨/୨୧ (ଡ଼ି.ଏଚ/ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ-ପୁରୀ ବାଇପାସ୍ ରୋଡରେ ଏଲ୍ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି।
ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀ ମାନଙ୍କ ଯାତାୟତ ଅଧିକ ନିରାପଦ ହେବ ଏବଂ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ବାରା ସଡକ ଦୁର୍ଘଟଣା କମିବା ସହିତ ଚୋରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ । ସୂଚନାଯୋଗ୍ୟ ଯେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଥିରେ ୩୮୭ଟି ଖୁଣ୍ଟିରେ ୧୨୦ ୱାଟ ବିଶିଷ୍ଟ ୭୭୪ଟି ଏଲ୍ଇଡି ଲାଇଟ ଲଗାଯାଇଛି ଏବଂ ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି। ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨.୮୫ କୋଟି ଟଙ୍କା ବ୍ୟୟ କରାଯାଇଛି । ଭୁବନେଶ୍ବର ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉଜ୍ଜଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି। ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି। ଖୁବ୍ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ । ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ବରର ଉତ୍ତର ବିଧାୟକ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ ସ୍ବାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିସନର ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ।
















